mobile header

ଶ୍ରୀମନ୍ଦିର ରୋଷଘରେ ଚୁଲିଭଙ୍ଗା ଘଟଣା; ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର

ପୁରୀ: ଶ୍ରୀମନ୍ଦିର ରୋଷଘରେ ଚୁଲିଭଙ୍ଗା ଘଟଣାକୁ ନେଇ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ୱିଟ୍‌ ମାଧ୍ୟମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ୍‌ କରି ଲେଖିଛନ୍ତି ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା ମୋତେ ଦୁଃଖିତ ଓ ବ୍ୟଥିତ କରିଛି । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଅତ୍ୟନ୍ତ ଦୁଃଖଦାୟକ । ଏହି ଘଟଣାର ପୁନରାବୃତ୍ତି ନହେବା ନେଇ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବା ନିହାତି ଜରୁରୀ ​‌ବୋଲି ସେ କହିଛନ୍ତି । ତାହା ସହ ଏଥି ପ୍ରତି ଉଭୟ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ସଜାଗ ରହିବା ଜରୁରୀ ବୋଲି ସେ ତାଙ୍କ ଟ୍ୱିଟ୍‌ ମାଧ୍ୟମରେ ଜଣାଇଛନ୍ତି ।

ସେ ଆହୁରି ମଧ୍ୟ ଲେଖିଛନ୍ତି ଓଡ଼ିଆ ଜାତିର ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସ୍ଥିତ ପବିତ୍ର ରୋଷଘର । ରୋଷଘରେ ଚୁଲି ଗୁଡ଼ିକ ଭାଙ୍ଗି ଦିଆଯିବା ଘଟଣା ଗଣମାଧ୍ୟମରୁ ଜାଣିବାକୁ ପାଇଲି । ଏହି ଖବର ମୋତେ ଦୁଃଖିତ ଓ ବ୍ୟଥିତ କରିଛି । ମହାପ୍ରଭୁ ଓଡ଼ିଶାବାସୀ ଏବଂ ସାରା ବିଶ୍ୱର ହିନ୍ଦୁ ସମାଜର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଅତ୍ୟନ୍ତ ଦୁଃଖଦାୟକ । ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ ରହିଛି । ମହାପ୍ରସାଦ ହେଉଛି ଅମୃତ ତୁଲ୍ୟ । ରୋଷଘର ସହ ମା’ ଲକ୍ଷ୍ମୀ ଓ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଜଡ଼ିତ ଥିବା ଓଡ଼ିଆ ଜନମାନସର ବିଶ୍ୱାସ । ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଭବିଷ୍ୟତରେ ଯେଭଳି ଏହି ଘଟଣାର ପୁନରାବୃତ୍ତି ନ ହେବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

Leave A Reply

Your email address will not be published.