xmas

ଖୁବଶୀଘ୍ର ତାଳଚେର, ଅନୁଗୋଳ ଓ ଢେଙ୍କାନାଳ ଦେଇ କୋଲକାତାକୁ ଚାଲିବ ନୂଆ ଟ୍ରେନ – ଧର୍ମେନ୍ଦ୍ର ପ୍ରଧାନ

ଅନୁଗୋଳ ଓ ଢେଙ୍କାନାଳରେ ବିଭିନ୍ନ ରେଳ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ
ତାଳଚେର ରୋଡ, ଅନୁଗୋଳ, ବଳରାମ ସାଇଟ, ତାଳଚେର, ସୁନାଖଣି, ବୁଢ଼ାପଙ୍କ, ମେରାମୁଣ୍ଡଳୀ, ହିନ୍ଦୋଳ ରୋଡ, ସଦାଶିବପୁର ରେଳ ଷ୍ଟେସନର ପରିଦର୍ଶନ କଲେ
ଢେଙ୍କାନାଳ, ଶ୍ୟାମଚରଣପୁର, ଜୋରନ୍ଦା ରୋଡ ରେଳ ଷ୍ଟେସନର ଉନ୍ନତିକରଣ କାର୍ଯ୍ୟ ଦେଖିଲେ କେନ୍ଦ୍ରମନ୍ତ୍ରୀ
ବଅଁରପାଳ ବ୍ଲକର ବ୍ରିଜ ନଂ ୫ ଓ ହିଙ୍ଗୁଳା ଅଞ୍ଚଳର ନିର୍ମାଣଧୀନ ରେଳ ଲିଙ୍କର କାମ ଦେଖିଲେ
ଏମସିଏଲର ବଳରାମ ସାଇଟରେ କ୍ରିୟାନ୍ନୟନ ହେଉଥିବା ରେଳ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା
ରେଳ ଷ୍ଟେସନ କ୍ରିୟାନ୍ନୟନ ହେଉଥିବା ସବୁ ପ୍ରକଳ୍ପର କାମ ତ୍ୱରାନ୍ନିତ କରିବା ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା
ସବୁ ଷ୍ଟେସନରେ ସ୍ଥାନୀୟ ଲୋକଙ୍କୁ ଭେଟି ଯାତ୍ରୀ ସୁବିଧା ନେଇ ଆଲୋଚନା
ଅନୁଗୋଳ ଓ ଢେ଼ଙ୍କନାଳରେ ପ୍ରାୟ ୨,୫୦୦ କୋଟି ଟଙ୍କାର ରେଳ ଷ୍ଟେସନ କାମ ଜାରି ରହିଛି
ଖୁବ ଶୀଘ୍ର ତାଳଚେରରୁ ଅନୁଗୋଳ ପର୍ଯ୍ୟନ୍ତ ଗୋଟିଏ ପ୍ୟାସେଞ୍ଜର ଓ ଦୁଇଟି ମାଲବାହୀ ରେଳ ଲାଇନର କାମ ଶେଷ ହେବ
୫୦୦ କୋଟି ବ୍ୟୟରେ ତାଳଚେରରୁ ଅନୁଗୋଳ ପର୍ଯ୍ୟନ୍ତ ନୂଆ ଯାତ୍ରୀବାହୀ ରେଳ ଲାଇନର କାମ ନଭେମ୍ବର ସୁଦ୍ଧା ସମ୍ପୂର୍ଣ ହେବ

ଅନୁଗୋଳ/ଢେଙ୍କାନାଳ, : ଖୁବ ଶୀଘ୍ର ସମ୍ବଲପୁରରୁ ଏକ ନୂଆ ଟ୍ରେନ ତାଳଚେର, ଅନୁଗୋଳ ଓ ଢେଙ୍କାନାଳ ଦେଇ କୋଲକାତାକୁ ଚଳାଚଳ କରିବ ବୋଲି ରବିବାର ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଅନୁଗୋଳ ଓ ଢେଙ୍କାନାଳରେ କ୍ରିୟାନ୍ନୟନ ହେଉଥିବା ବିଭିନ୍ନ ରେଳବାଇ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା କରିବା ଅବସରେ ସଞ୍ଚନ ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ଭୁବନେଶ୍ୱର ମଞ୍ଚେଶ୍ୱର ଷ୍ଟେସନରୁ ଟ୍ରେନ ଯୋଗେ ଏକ ସ୍ୱତନ୍ତ୍ର ବଗିରେ ପୂର୍ବତଟ ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଅନୁଗୋଳ ଓ ଢେଙ୍କାନାଳ ଜ଼ିଲ୍ଲା ଗସ୍ତ କରିଥିଲେ । ସେ ତାଳଚେର ରୋଡର ଅନୁଗୋଳ, ବଳରାମ ସାଇଟ, ତାଳଚେର, ସୁନାଖଣି, ବୁଢ଼ାପଙ୍କ, ମେରାମୁଣ୍ଡଳୀ, ହିନ୍ଦୋଳ ରୋଡ, ସଦାଶିବପୁର ରେଳ ଷ୍ଟେସନର ପରିଦର୍ଶନ କରିବା ସହ ଉନ୍ନୟମୂଳକ କାର୍ଯ୍ୟର ଅଗ୍ରଗତି ନେଇ ରେଳ ଅଧିକାରୀଙ୍କୁ ପଚାରି ବୁଝିଥିଲେ । ଏହାବ୍ୟତୀତ ବଅଁରପାଳ ବ୍ଲକର ବ୍ରିଜ ନଂ ୫ ଏବଂ ନତଡା ଗ୍ରାମ ପଞ୍ଚାୟତରେ ଥିବା ହିଙ୍ଗୁଳା ଅଞ୍ଚଳରେ ନିର୍ମାଣାଧୀନ ରେଳ ଲିଙ୍କର କାର୍ଯ୍ୟ ଦେଖୁଥିଲେ । ପରବର୍ତୀ ପର୍ଯ୍ୟାୟରେ ଅନୁରୂପ ଭାବେ ଢେଙ୍କାନାଳ, ଶ୍ୟାମଚରଣପୁର, ଜୋରନ୍ଦା ରୋଡ ରେଳ ଷ୍ଟେସନରେ ହୋଇଥିବା ଅଗ୍ରଗତି କାର୍ଯ୍ୟ ଗୁଡିକ ପ୍ରତ୍ୟକ୍ଷ ଭାବେ ବୁଲି ଦେଖିଥିଲେ । ଶ୍ରୀ ପ୍ରଧାନ ଷ୍ଟେସନରେ ଚାଲିଥିବା କାର୍ଯ୍ୟକୁ ତ୍ୱରାନ୍ନିତ କରିବା ନେଇ ରେଳ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ସବୁ ଷ୍ଟେସନରେ ସ୍ଥାନୀୟ ଲୋକଙ୍କୁ ଭେଟି ସେମାନଙ୍କ ସହ କଥାବାର୍ତ୍ତା କରିଥିଲେ ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଅନୁଗୋଳରୁ କୋଲକାତା ପର୍ଯ୍ୟନ୍ତ ସିଧାସଳଖ ଟ୍ରେନ ଚଳାଚଳ କରିବା ପାଇଁ ଜିଲ୍ଲାବାସୀଙ୍କ ଥିବା ଦୀର୍ଘ ଦିନର ଦାବୀ ରହଥିଲା । ଏହାକୁ ମୋଦି ସରକାର ସ୍ୱୀକୃତି ଦେଇଛନ୍ତି । ଖୁବ ଶୀଘ୍ର ଏକ ନୂଆ ଟ୍ରେନ ସମ୍ବଲପୁରରୁ ଅନୁଗୋଳ, ତାଳଚେର ଓ ଢେଙ୍କାନାଳ ନେଇ କୋଲକାତା ଯିବ । ଅନୁଗୋଳ ଓ ଢେଙ୍କାନାଳ ମଧ୍ୟରେ ନୂଆ ରେଳ ଚଳାଚଳ କରିବାର ଦାୟିତ୍ୱ ନେଇ ଜିଲ୍ଲାବାସୀଙ୍କ ପୂଜା ଉପହାର ଦେଇଥିବାରୁ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତ ସରକାରଙ୍କ ରେଳ ବିଭାଗ ତରଫରୁ ଅନୁଗୋଳ ଓ ଢେଙ୍କାନାଳ ଅଞ୍ଚଳର ପ୍ରାୟ ୨,୫୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର କାମ ଜାରୀ ରହିଛି । ଅନୁଗୋଳର ବହୁତ ଶିଳ୍ପଞ୍ଚଳରେ କୋଇଲା ଭଳି ମାଲ ପରିବହନ ପାଇଁ ରେଳ ବିଭାଗ ପ୍ରାଥମିକତା ଦେଉଅଛି । ତାଳଚେର, ତାଳଚେର ରୋଡ, ଅନୁଗୋଳ, ଢେଙ୍କାନାଳ ଏହି ଚାରୋଟି ରେଳ ଷ୍ଟେସନର ପୁନରୁଦ୍ଧାର ସହ ଅନେକ ଷ୍ଟେସନର ରେଳ ଲାଇନର ଦୋହରୀକରଣ, ତୃତୀୟ ଲାଇନ, ଚତୁର୍ଥ ଲାଇନର କାମ ଚାଲୁ ରହିଛି । ଖୁବ ଶୀଘ୍ର ତାଳଚେରରୁ ଅନୁଗୋଳ ପର୍ଯ୍ୟନ୍ତ ଗୋଟିଏ ପ୍ୟାସେଞ୍ଜର ଓ ଦୁଇଟି ମାଲବାହୀ ରେଳ ଲାଇନର କାମ ଶେଷ ହେବ । ପ୍ରାୟ ୫୦୦ କୋଟି ବ୍ୟୟରେ ତାଳଚେରରୁ ଭାୟା ଏଫସି ଆଇ ଓ ନାଲକୋ ଦେଇ ଅନୁଗୋଳ ପର୍ଯ୍ୟନ୍ତ ଯାତ୍ରୀବାହୀ ରେଳ ଲାଇନର କାମ ଆସନ୍ତା ନଭେମ୍ବର ସୁଦ୍ଧା ସମ୍ପୂର୍ଣ ହେବା ନେଇ ରେଳ ବିଭାଗର ଅଧିକାରୀମାନେ ସୂଚନା ଦେଇଛନ୍ତି । ଅନୁଗୋଳ ଓ ଢେଙ୍କାନାଳରେ କ୍ରିୟାନ୍ନୟନ ହେଉଥିବା ରେଳ ପ୍ରକଳ୍ପ ଦ୍ୱାରା ସ୍ଥାନୀୟ ନାଗରିକ ଓ ଯାତ୍ରୀମାନେ ବିଶେଷ ଭାବରେ ଉପକୃତ ହେବେ ।

ସେ ଆହୁରି କହିଛନ୍ତି ଯେ ଶିଳ୍ପ ସମୃଦ୍ଧ ଅଞ୍ଚଳ ଅନୁଗୋଳ ଏବଂ ତାଳଚେରକୁ ଅଧିକ ପ୍ରଭାବଶାଳୀ କରିବା ପାଇଁ ମୋଦି ସରକାର ରେଳ କ୍ଷେତ୍ରରେ ବିପୁଳ ଆର୍ଥିକ ଅନୁଦାନ ଓ ଅନ୍ୟାନ୍ୟ ସାହାଯ୍ୟ ସହଯୋଗ ଯୋଗାଇ ଦେଉଛନ୍ତି । ମୋଦି ସରକାରରେ ରେଳ ଯୋଗେ ମାଲ ପରିବହନ ସହ ଯାତ୍ରୀ ସୁବିଧାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି । ଏହାବ୍ୟତିତ ମୋଦି ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେବା ପରେ ଅନୁଗୋଳ ଭଳି ଖଣି ଖଦାନ ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ଖଣିଜ ପାଣ୍ଠି (ଡିଏମଏଫ)ର ବ୍ୟବସ୍ତା କରିଛନ୍ତି । ମୋଦି ସରକାରଙ୍କ ବ୍ୟବସ୍ତା କାରଣରୁ ଏହି ଜିଲ୍ଲାକୁ ଡିଏମଏଫରେ ବାର୍ଷିକ ୩୫୦ କୋଟି ଟଙ୍କା ଆସୁଛି । ତାଳଚେରରେ ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ୱରୂପା ମା’ ହିଙ୍ଗୁଳା ମନ୍ଦିରର ଉନ୍ନତିକରଣ ପାଇଁ ଏମସିଏଲ ୮ କୋଟିରୁ ଅଧିକ ଟଙ୍କା ଦେଇଛି । ତାଳଚେର ଗୋପାଳଗଡ କଣିହାଁ ରାସ୍ତାରେ ସାଧାରଣ ଲୋକଙ୍କ ଯାତାୟାତ ଏବଂ କୋଇଲା ପରିବହନ ପାଇଁ ପୃଥକ ପୃଥକ ରାସ୍ତା କରିବା ପାଇଁ ମଧ୍ୟ ଯୋଜନା କରାଯିବ ।

ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁଗୋଳ ଓ ଢେଙ୍କାନାଳରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ।

Leave A Reply

Your email address will not be published.