ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଠିକା ନିଯୁକ୍ତିର ଯୁଗ ଶେଷ, ନିୟମିତ ହେବେ ୫୭ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ କର୍ମଚାରୀ
ଭୁବନେଶ୍ବର, ୧୫/୧୦/୨୨
ପ୍ରିୟ ଭାଇ ଓ ଭଉଣୀମାନେ,
ଆପଣମାନଙ୍କୁ ସମସ୍ତଙ୍କୁ ନମସ୍କାର। ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା ।
ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ ।
ବନ୍ୟା ବାତ୍ୟା ମରୁଡି ଲାଗି ରହି ଥିଲା ଗରିବୀ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା।
ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?
ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା। ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି କୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ ।
ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି। ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ। ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି।
ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ ।
ସରକାରୀ କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ – ଟିମ୍ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍ସପ୍ୟାରେନ୍ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ।
ବନ୍ଦେ ଉତ୍କଳ ଜନନୀ