ବିଜେଡ଼ିରେ ଯୋଗଦେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର, ୧୮/୦୪/୨୦୨୪: ସିନେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବର୍ଷା ପ୍ରିୟଦର୍ଶିନୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବର୍ଷା ପ୍ରିୟଦର୍ଶିନୀଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବର୍ଷା ପ୍ରିୟଦର୍ଶିନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ନିମ୍‌କି ଫିଲ୍ମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ କରିଥିଲି । ମୁଖ୍ୟମନ୍ତ୍ରୀ କଥା କମ୍ କୁହନ୍ତି, କାମ ଅଧିକ କରନ୍ତି । ମୁଖ୍ୟମନ୍ତ୍ରୀଙ୍କ ସରଳ ଭାବମୂର୍ତ୍ତି ସମସ୍ତଙ୍କ ପାଇଁ ଆଦର୍ଶ । ମୁଖ୍ୟମନ୍ତ୍ରୀଙ୍କର କେହି ପ୍ରତିଦ୍ୱନ୍ଦ୍ୱୀ ନାହାନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.