ବିଜେଡ଼ିରେ ଯୋଗଦେଲେ କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ସତ୍ୟ ମହାନ୍ତି

ଭୁବନେଶ୍ୱର, ୦୭/୦୫/୨୦୨୪: କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତା ସତ୍ୟ ମହାନ୍ତିଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସତ୍ୟ ମହାନ୍ତି ଓ ଶତାଧିକ କଂଗ୍ରେସ କର୍ମୀଙ୍କୁ ଶ୍ରୀ ବିଶ୍ୱାଳ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି କଟକ-ଚୌଦ୍ୱାର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ବିଶ୍ୱାଳ ଓ ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସତ୍ୟ ମହାନ୍ତି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ଜ୍ଞାନେନ୍ଦ୍ର କୁମାର ପରିଡ଼ା, ଦିଲ୍ଲୀପ ପାଲିତ, ସୁଜିତ କୁମାର ସ୍ୱାଇଁ, ଅକ୍ଷୟ ସାହୁ, ଶୁଭଶ୍ରୀ ପ୍ରିୟଦର୍ଶିନୀ, ପୂର୍ଣ୍ଣିମା ସାହୁ, ପ୍ରଭାସ ମହାନ୍ତି, ଫିରୋଜ ଉଦ୍ଦିନଙ୍କ ସହ ଶତାଧିକ କଂଗ୍ରେସ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.