ଆରମ୍ଭ ହେଲା ମୋହନ ମାଝୀ ଯୁଗ…

ଓଡ଼ିଶା ଇତିହାସରେ ପ୍ରଥମର ପାଇଁ ଜନତା ମୈଦାନରେ ଆୟୋଜିତ ହୋଇଛି ଶପଥ ଗ୍ରହଣ ଉତ୍ସବ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ପରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି।

ଭୁବନେଶ୍ୱର: ୨୪ ବର୍ଷର ନବୀନ ପଟ୍ଟନାୟକ ଯୁଗ ଶେଷ ହେଲା। ଆରମ୍ଭ ହେଲା ମୋହନ ମାଝୀ ଯୁଗ। ଆଜି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ ପ୍ରଭାତୀ ପରିଡ଼ା ଓ କେଭି ସିଂହଦେଓ ଶପଥ ନେଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ଓଡ଼ିଶା ଇତିହାସରେ ପ୍ରଥମର ପାଇଁ ଜନତା ମୈଦାନରେ ଆୟୋଜିତ ହୋଇଛି ଶପଥ ଗ୍ରହଣ ଉତ୍ସବ। ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ପରେ ମନ୍ତ୍ରୀମାନେ ଶପଥ ନେଇଛନ୍ତି। ଶପଥଗ୍ରହଣ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେଇଛନ୍ତି। ଶପଥ ଗ୍ରହଣ ଉତ୍ସବ ପରେ ନୂଆ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ।

ସୂଚନା ଅନୁସାରେ ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ବହୁ ମାନ୍ୟଗଣ୍ୟ ଅତିଥି ସାମିଲ ହୋଇଥିଲେ । ୨୦୨୪ ନିର୍ବାଚନରେ ପ୍ରଚଣ୍ଡ ଜନମତ ସହ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଏକାକୀ ସରକାର ଗଢୁଥିବା ବିଜେପିର ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ଏନଡିଏ ଓ ବିଜେପି ଶାସିତ ରାଜ୍ୟର କିଛି ମୁଖ୍ୟମନ୍ତ୍ରୀ, ରାଜ୍ୟ ଓ ରାଜ୍ୟ ବାହାରର ବହୁ ସାଧୁସନ୍ଥ ଏବଂ ରାଜନୀତି, କ୍ରୀଡ଼ା, ବ୍ୟବସାୟ ଓ ମନୋରଞ୍ଜନ ଆଦି କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର କିଛି ବିଶିଷ୍ଟ ବ୍ୟକ୍ତି ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ତେବେ ପ୍ରାୟ ୩୦ ହଜାରରୁ ଅଧିକ ଲୋକ ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ।

ସେପଟେ ଶପଥ ଗ୍ରହଣ ସମାରୋହ ଲାଗି କଡ଼ା ସୁରକ୍ଷା ବଳୟ ଭିତରେ ରହିଥିଲା ରାଜଧାନୀ ଭୁବନେଶ୍ୱର । ଉତ୍ସବ ଲାଗି ୬୭ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଥିଲେ । ତମାମ କାର୍ଯ୍ୟକ୍ରମ ପରିଚାଳନା ଲାଗି ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ ମିଳିଥିଲା । କେବଳ ଜନତା ମଇଦାନ ସୁରକ୍ଷାର ତଦାରଖ କରିଥିଲେ ଆଇଜି ପ୍ରବୀଣ କୁମାର । ସେହିଭଳି ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ ପରିଚାଳନା କଥା ବୁଝିଥିଲେ । ମୋଟ ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ଅନ୍ୟାନ୍ୟ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ରହିଥିଲେ ।

Leave A Reply

Your email address will not be published.